Pratidin TV

Odisha's Digital News Platform

(ଭିଡିଓ ) ଟ୍ରେନ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ମିଳିବ ସହାୟତା ରାଶି..

1 min read

ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ରେ ହୋଇଥିବା ବଡ଼ ଧରଣର ରେଳ ଦୁର୍ଘଟଣାକୁ ନେଇ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ପ୍ରମୁଖ ରାଜନେତା ଶୋକ ପ୍ରକାଶ କରିଛନ୍ତି । ଆନ୍ଧ୍ର-ଓଡ଼ିଶା ସୀମାବର୍ତ୍ତୀ କଣ୍ଟାକାପାଲୀ-ଆଲମଣ୍ଡା ଷ୍ଟେସନ ମଧ୍ୟରେ ୨ପାସେଞ୍ଜର ଟ୍ରେନଧକ୍କା ହୋଇଛି । ଗତକାଲି ରାତିରେ ଦୁର୍ଘଟଣା ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।

ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଗତକାଲି ଟ୍ରେନ୍ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସହ କଥା ହୋଇ ସ୍ଥିତିର ସମୀକ୍ଷା କରିଥିଲେ । ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଓ ପ୍ରତି ଆହତଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କା ଦେବାକୁ ପିଏମ୍‌ଓ ପକ୍ଷରୁ ଘୋଷଣା କରାଯାଇଛି ।

ସେପଟେ ରେଳ ବିଭାଗ ପକ୍ଷରୁ ମୃତକଙ୍କ ପରିବାର ବର୍ଗକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ୫୦ ହଜାର ଓ ସାମାନ୍ୟ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଲେଖାଏ ଦେବାକୁ ଘୋଷଣା ହୋଇଛି । ସେହିପରି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଏବଂ ରାଜ୍ୟ ସରକାରଙ୍କ ତରଫରୁ ଆହତମାନଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *