ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି,୪ ବର୍ଷ ହେବ ସ୍ନାତକ କୋର୍ସ
1 min readଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ | ଯାହାକୁ ନେଇ ଏବେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦିଆଯାଇଛି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ |
ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ, ଓଡ଼ିଶାରେ ୪ ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବ। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ ଫ୍ରେମୱାର୍କ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ ଫ୍ରେମୱର୍କ ପ୍ରସ୍ତୁତ ହୋଇଛି। ଏଥିରେ ଦକ୍ଷତା ବିକାଶ ଓ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି। କମ୍ୟୁନିଟି ସର୍ଭିସ ଓ Extra Curricular Activities, ଏନ୍ସିସି, ଏନ୍ଏସ୍ଏସ୍ ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଏହାଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ଇଚ୍ଛାରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ମଧ୍ୟରେ ତାଙ୍କର ଡିଗ୍ରୀ କୋର୍ସକୁ ପୂରଣ କରିପାରିବେ।
ତେବେ ଏଥିପାଇଁ ବର୍ତ୍ତମାନରେ ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ ସିଲାବସ୍ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି Multi Disciplinary ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଓ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି। ଏହାଦ୍ୱାରା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକ ନୂତନ ସିଲାବସ୍ ଏବଂ କ୍ରେଡିଟ୍ ଫ୍ରେମ୍ଓ୍ବାର୍କ ଅନୁଯାୟୀ ଜାତୀୟ ଶିକ୍ଷାନୀତି ଲାଗୁ କରିପାରିବେ।